ଦୁର୍ନୀତି ମାମଲାରେ ୪୧ ସରକାରୀ କର୍ମଚାରୀଙ୍କୁ ବରଖାସ୍ତ, ୯୧ ଜଣଙ୍କ ପେନସନ ବନ୍ଦ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଗତ ଅଢେଇ ବର୍ଷ ମଧ୍ୟରେ ଓଡିଶା ଭିଜିଲାନ୍ସ ପକ୍ଷରୁ ଜଣେ ଆଇ.ଏ.ଏସ୍, ୮ ଜଣ ମୁଖ୍ୟ ଯନ୍ତ୍ରୀ ପାହ୍ୟାର ଅଧିକାରୀ, ୨ ଜଣ ବିଭାଗୀୟ ବନ ଅଧିକାରୀ, ଅବକାରୀ ଏବଂ ଏସ୍.ଟି.ଏ ର ଯୁଗ୍ମ କମିଶନର, ୩ ଜଣ ଖଣି ଉପନିର୍ଦ୍ଦେଶକ, ୫ ଜଣ ତହସିଲର, ୪ ଜଣ ବିଡିଓ ଏବଂ ଅନେକ ସରକାରୀ ପଦାଧିକାରୀଙ୍କ ବିରୁଦ୍ଧରେ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି ।
ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ୪୧ ଜଣ ସରକାରୀ କର୍ମଚାରୀଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଛି । ୯୧ ଜଣ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନସନ ବନ୍ଦ କରାଯାଇଛି। ୨୦୨୫ରେ କନ୍ ଭିକ୍ସନ ରେଟ୍ ୫୦ ପ୍ରତିଶତ ଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ସର୍ବାଧିକ ୬୫ ପ୍ରତିଶତରେ ପହଞ୍ଚିଛି ।
ଦୁର୍ନୀତି କ୍ଷେତ୍ରରେ ଏଭଳି ଉଚ୍ଚ ଦଣ୍ଡବିଧାନ ହାର ପାଇଁ ଓଡିଶା ଭିଜିଲାନ୍ସ ରାଜ୍ୟ ଭିତରେ ଓ ବାହାରେ ପ୍ରଶଂସିତ ହେଉଛି। ଲୋକସେବା ଭବନ କନ୍ ଭେନ୍ ସନ ସେଣ୍ଟରରେ ଆୟୋଜିତ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
