କାଳିଆ ସହାୟତା ପାଇଲେ ୪୬ ଲକ୍ଷ ଚାଷୀ

Spread the love

ଭୁବନେଶ୍ବର: ଖରିଫ ଚାଷ ପାଇଁ ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା। ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ୪୫ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ। ସେହିପରି ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଓ ସେମାନଙ୍କୁ କୃଷି ସମ୍ବନ୍ଧୀୟ ବୈଷୟିକ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି।

ସବୁ ଭୂମିହୀନ ଚାଷୀ ପରିବାରକୁ ଚଳିତ ଖରିଫ ଋତୁ ପାଇଁ ଅତିରିକ୍ତ ୨ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ପୂର୍ବରୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ପ୍ରଦାନ କରାଯାଇଥିଲା। ଏବେ ଅତିରିକ୍ତ ସହାୟତା ପାଇବା ଦ୍ବାରା ରାଜ୍ୟର ୧୮ ଲକ୍ଷରୁ ଊର୍ଦ୍ଧ୍ବ ଭୂମିହୀନ ଚାଷୀ ପରିବାର ଉପକୃତ ହେବେ। ଏଥିପାଇଁ ସମୁଦାୟ ୩୬୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତ୍ୟେକ ଚାଷୀ ପରିବାର ସମ୍ମାନ ସହ ବଞ୍ଚନ୍ତୁ, ସଶକ୍ତ ହୁଅନ୍ତୁ ଓ ଓଡିଶାର ସମୃଦ୍ଧିରେ ଯୋଗଦାନ ରଖନ୍ତୁ । କାଳିଆ ଯୋଜନାର ସମୟ ଅବଧି ଆଉ ୩ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ୬ ହଜାର ୩୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ସେହିପରି କାଳିଆ ହିତାଧିକାରୀ ପିଲାମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରୁ କାଳିଆ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ପରିବର୍ତ୍ତନ କରିବେ । ଏହାଦ୍ବାରା ଏନ୍‌ଆଇଟି, ଆଇଆଇଟି, ଆଇଆଇଏମ୍‌, ଏମ୍ସ, ଆଇସିଏଆର ପରି ସମ୍ମାନଜନକ ଶିକ୍ଷାନୁଷ୍ଠାନ ସହ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯିବ ।

କାର୍ଯ୍ୟକ୍ରମରେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ, ୨୦୧୯ ମସିହାରେ ଏହି ଐତିହାସିକ କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଇତିମଧ୍ୟରେ ୬୪ ଲକ୍ଷ ଚାଷୀ ଭାଇ ଏହି ଯୋଜନାରେ ସାମିଲ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ୧୩ ହଜାର ୭୯୩ କୋଟି ଟଙ୍କାର ସହାୟତା ସେମାନଙ୍କ ବ୍ୟାଙ୍କ ଖାତାକୁ ଯାଇଛି । ଭାରତ ବର୍ଷରେ ଓଡିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠି ଭୂମିହୀନ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ବୋଲି ପାଣ୍ଡିଆନ କହିଥିଲେ ।

କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ, ୫ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ କାଳିଆ ଯୋଜନା ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଥିଲା । ଏହି ଯୋଜନା ଜାତୀୟ ସ୍ତରରେ ଉଚ୍ଚ ପ୍ରଶଂସିତ ହେବା ସହିତ ଓଡିଶାର ଚାଷୀ ଭାଇଭଉଣୀଙ୍କ ପାଇଁ ସହାୟକ ହୋଇପାରିଛି । ରାଜ୍ୟରେ ଚାଷୀ ଭାଇଙ୍କ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହାର ଆକାର ଓ ପରିମାଣକୁ କ୍ରମାଗତ ଭାବେ ସଂପ୍ରସାରଣ କରୁଛନ୍ତି ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଉନ୍ନୟନ କମିୗନର ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ ସ୍ବାଗତ ଭାଷଣ ଦେଇଥିବା ବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *